ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା; ସର୍ତକ ସୂଚନା ଦେଲେ ପାଣିପାଗ ବିଭାଗ ।

ମହାନଦୀ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦର ଜଳସ୍ତର ବଢ଼ିଛି । ଡ୍ୟାମ୍‌କୁ ପ୍ରତି ସେକେଣ୍ଡରେ ସାଢ଼େ ୩ ଲକ୍ଷ କ୍ୟୁସେକ୍‌ ଜଳ ପଶୁଛି । ହୀରାକୁଦର ୨୦ଟି ଗେଟ୍‌ ଖୋଲିଛି । ବର୍ଷା ପାଇଁ ମହାନଦୀ ସମେତ ବ୍ରାହ୍ମଣୀ ଓ ବୁଢ଼ାବଳଙ୍ଗ ନଦୀ ଫୁଲୁଛି । ଶନିବାର ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ। ଝାରସୁଗୁଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତି ପ୍ରବଳ ଢାଳିବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ ।

ରାଜ୍ୟରେ ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଜରୁରୀ ବୈଠକ କରିଛନ୍ତି । ପ୍ରବଳ ବର୍ଷାରେ ମହାନଦୀ ଓ ବ୍ରାହ୍ମଣୀ ନଦୀରେ ବନ୍ୟା ଆଶଙ୍କା ରହିଛି । ଏଥିପାଇଁ ଆଗୁଆ ପ୍ରସ୍ତୁତି କରିବାକୁ ରାଜସ୍ୱ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେଇଛି । ପଶ୍ଚିମବଙ୍ଗ ଉପକୂଳ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ବାଲାଂଦେଶ ଉପକୂଳରେ ଏହି ଅବପାତ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଶନିବାର ବରଗଡ଼, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ସୋନପୁର, ବଲାଙ୍ଗୀର ଓ ନୂଆପଡ଼ାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିଭଳି ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି ।

ରବିବାର ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହୋଇପାରେ । ୨୮ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶା ଦକ୍ଷିଣ ଓଡ଼ିଶାରେ ବି ବର୍ଷା ହୋଇପାରେ । ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତର ପଶ୍ଚିମ ମୁହାଁ ହୋଇ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଆଡ଼କୁ ଗତି କରିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ବର୍ଷା ପାଇଁ ସ୍ୱତନ୍ତ୍ର ରିଲିଫ କମିଶନର ସମସ୍ତ ବିଭାଗ ସମେତ ବର୍ଷା ଆଶଙ୍କା ଥିବା ଜିଲ୍ଲାର ଜିଲ୍ଲାପାଳ ଓ ମହାନଗର ନିଗମକୁ ସତର୍କ କରାଇଛନ୍ତି । କୌଣସି ଜରୁରୀ ସ୍ଥିତିକୁ ଏଡ଼ାଇବା ପାଇଁ ପ୍ରଶାସନ ପ୍ରସ୍ତୁତ ରହିବାକୁ ଏସ୍‌ଆରସି ନିର୍ଦ୍ଦେଶ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial